ଉତ୍ତର ଆଣ୍ଡାମାନ ସାଗର ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ଓଡିଶାରେ ୨ ଦିନ ପ୍ରବଳ ବର୍ଷା ସମ୍ଭାବନା

0 513
greentech

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୦/୧୦: ଉତ୍ତର ଆଣ୍ଡାମାନ ସାଗର ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଶୁକ୍ରବାର ସକାଳେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଆଗାମୀ ଦିନରେ ଆହୁରି ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଂଟା ମଧ୍ୟରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଏକ ଡିପ୍ରେସନରେ ପରିଣତ ହେବାର ସମ୍ଭାବନା ଅଧିକ ରହିଛି । ୧୨ ଅକ୍ଟୋବର ସକାଳ ସମୟରେ ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଏହି ଲଘୁଚାପ ପ୍ରଭାବରେ ୧୧ରୁ ୧୩ ତାରିଖ ମଧ୍ୟରେ ଦକ୍ଷିଣ ଓଡ଼ିଶା, ଉପକୂଳ ଓଡ଼ିଶା, ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ଏବଂ ଉତ୍ତର ଉପକୂଳ ଓଡିଶା, ଉତ୍ତର ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୧ ରୁ୧୨ ତାରିଖ ମଧ୍ୟରେ ଗଜପତି, ରାୟଗଡ଼ା, ଗଞ୍ଜାମ ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ମାଲକାନଗିରି, କୋରାପୁଟ, କନ୍ଧମାଳ, ଜଗତସିଂହପୁର, ଖୋର୍ଧା ଓ ନୟାଗଡ଼ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି୧୩ ତାରଖରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ସେଥିପାଇଁ ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପକ୍ଷରେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଭଦ୍ରକ, ବାଲେଶ୍ୱର ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଏହି ସମୟ ମଧ୍ୟରେ ଦକ୍ଷିଣ ଓ ଉପକୂଳ ଓଡିଶାରେ ଘଂଟା ପ୍ରତି ୪୫ ,ରୁ ୫୫ କିମି ବେଗରେ ପବନ ବହିପାରେ । ସେହିପରି ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାପାଇଁ ସତର୍କ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

five × 1 =

error: Content is protected !!
Open chat