ପ୍ରତ୍ୟେକ ନିର୍ମାଣ ଶ୍ରମିକ ହେଉଛନ୍ତି ଜଣେ ଜଣେ ବିଶ୍ବକର୍ମା : ମୁଖ୍ୟମନ୍ତ୍ରୀ

0 422
greentech

ଭୁବନେଶ୍ବର ୧୫/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଗରିବ ଲୋକଙ୍କୁ ତାଙ୍କ ଅଧିକାରରୁ କେହି ବି ବଞ୍ଚିତ କରିପାରିବେ ନାହିଁ। ଗରିବ ଲୋକଙ୍କର ସମ୍ମାନର ସହ ବଞ୍ଚିବାର ସମସ୍ତ ଅଧିକାର ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଜି ନିର୍ମାଣ ଶ୍ରମିକ ମାନଙ୍କୁ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା ପ୍ରଦାନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି। ଏହି ପ୍ୟାକେଜରେ ପ୍ରତି ପଞ୍ଜୀକୃତ ନିର୍ମାଣ ଶ୍ରମିକ ୧୫୦୦ ଟଙ୍କା ଲେଖାଏ ପାଇଲେ। ଗତ ବର୍ଷ ମଧ୍ୟ କୋଭିଡର ପ୍ରଥମ ଲହର ସମୟରେ ନିର୍ମାଣ ଶ୍ରମିକ ମାନଙ୍କୁ ୧୫୦୦ ଟଙ୍କା ଲେଖାଏ ଦିଆଯାଇଥିଲା। ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ସମୟରେ ଏହି ସହାୟତା ନିର୍ମାଣ ଶ୍ରମିକଙ୍କ ଅସୁବିଧାକୁ ହ୍ରାସ କରିବାରେ ସହାୟକ ହେବ। ଅର୍ଥନୀତିରେ ଶ୍ରମିକ ମାନଙ୍କ ଗୁରୁତ୍ବ ବିଷୟରେ ଉଲ୍ଲେଖକରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶ୍ରମିକ ମାନଙ୍କ କଲ୍ୟାଣ ବିନା ଅର୍ଥନୀତି କେବେ ବି ସମୃଦ୍ଧ ହୋଇପାରିବ ନାହିଁ । ନିର୍ମାଣ ଶ୍ରମିକ ମାନଙ୍କୁ ଜଣେ ଜଣେ ବିଶ୍ବକର୍ମା ଭାବରେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅନ୍ୟର ସୁବିଧା ପାଇଁ ସେମାନେ ନିଜ ସୁଖକୁ ଭୁଲିଯାନ୍ତି। ଖରାକୁ ପିଠି ଦେଖାଇ ବଡ ବଡ କୋଠା ତିଆରି କରନ୍ତି। ନିଜେ ଜଳି ଅନ୍ୟକୁ ଆଲୋକ ଦେଖାନ୍ତି। ନିଜେ ଅସୁବିଧାରେ ରହି ଅନ୍ୟ ପାଇଁ ଭଲ ଘର ତିଆରି କରନ୍ତି। ରାସ୍ତା, ସେତୁ ଆଦି କରନ୍ତି। ବିକାଶର ପ୍ରତିଟି ପୃଷ୍ଠାରେ ରହିଛି ଆମର ନିର୍ମାଣ ଶ୍ରମିକ ମାନଙ୍କର ତ୍ୟାଗ ଓ ପରିଶ୍ରମର କାହାଣୀ। ଗରିବ ଲୋକର ତ୍ୟାଗକୁ ସମ୍ମାନ ଦ୍ବାରା ହିଁ ଆମେ ବିକାଶ ସହ ସମସ୍ତଙ୍କ ଯୋଡି ପାରିବା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ସହାୟତା ପାଇଥିବାରୁ ନିର୍ମାଣ ଶ୍ରମିକ ମାନେ ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କର ଆନ୍ତରିକ କୃତଜ୍ଞତା ଜଣାଇଥିଲେ। ଗଞ୍ଜାମର ରବୀନ୍ଦ୍ର ପ୍ରଧାନ, କଟକର ନବଘନ ପରିଡା, ବରଗଡର କେଶବ ପ୍ରଧାନ, ସୁନ୍ଦରଗଡର ରେଣୁ ମିଞ୍ଜ ପ୍ରମୁଖ ସମସ୍ତଙ୍କ ମୁହଁରେ ଗୋଟିଏ ଭାଷା ଥିଲା – ଧନ୍ୟବାଦ ମୁଖ୍ୟମନ୍ତ୍ରୀ ଆଜ୍ଞା। ଆପଣଙ୍କ ସହାୟତା ଆମକୁ ଏ ବିପଦ ସମୟରେ ବଞ୍ଚିବାର ରାହା ଦେଇଛି। ଗତ ବର୍ଷ ୧୫୦୦ ଟଙ୍କା ପାଇଥିଲୁ, ଏ ବର୍ଷ ମଧ୍ୟ ପାଇଲୁ। ତା’ସହିତ ପିଲାଙ୍କ ପାଠପଢା, ସାଇକେଲ, ଝିଅ ବାହାଘର – ସବୁ ସମୟରେ ଆମେ ସହାୟତା ପାଉଛୁ ବୋଲି ଖୁସିରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ । ମୁଖ୍ୟମନ୍ତ୍ରୀ ମଧ୍ୟ ସେମାନଙ୍କୁ କେତେ ଟଙ୍କା ପାଇଛ ବୋଲି ପଚାରି ବୁଝିଥିଲେ।
କାର୍ଯ୍ୟକ୍ରମରେ ଯୋଗ ଦେଇ ଶ୍ରମ ଓ ଇଏସ୍‌ଆଇ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ ନିର୍ମାଣ ଶ୍ରମିକଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ, ଶ୍ରମ ଆଇନର କାର୍ଯ୍ୟକାରୀତା ଓ ନାଗରିକ କେନ୍ଦ୍ରୀକ ଯୋଜନା ଉପରେ ଆଲୋକପାତ କରିଥିଲେ।
ଓଡିଶା କୋଠାବାଡି ଓ ଅନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ଅଧ୍ୟକ୍ଷ ଶ୍ରୀ ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ କହିଥିଲେ ଯେ ବୋର୍ଡ ଅଧୀନରେ ନିର୍ମାଣ ଶ୍ରମିକ ମାନଙ୍କ ପାଇଁ ୩୨ଟି ଯୋଜନା କାର୍ଯ୍ୟକାରୀ କରାଯାଉଛି ଏବଂ ଏହିସବୁ ସେବାକୁ ୫-ଟି ଜରିଆରେ ଦକ୍ଷତାର ସହ ତୁରନ୍ତ ଯୋଗାଇ ଦିଆଯାଉଛି। ଏହି କାର୍ଯ୍ୟକ୍ରମରେ ବ୍ରଜରାଜନଗରର ବିଧାୟକ କିଶୋର ମହାନ୍ତି ଓ ବେଗୁନିଆ ବିଧାୟକ ରାଜେନ୍ଦ୍ର ସାହୁ ପ୍ରମୁଖ ସେମାନଙ୍କର ମତାମତ ରଖି ଏହି ଗରିବ ଓ ଶ୍ରମିକ କଲ୍ୟାଣ ଯୋଜନା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ।

Leave A Reply

Your email address will not be published.

four + 5 =

error: Content is protected !!
Open chat