ଭୁବନେଶ୍ବର: ମହାନ ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ବୋଷଙ୍କ ୧୨୫ତମ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ନେତାଜୀ ବସ ଟର୍ମିନାଲର ଶିଳାନ୍ୟାସ କରିଛନ୍ତି। କଟକରେ ଅତ୍ୟାଧୁନିକ ବସ ଟର୍ମିନାଲର ଶିଳାନ୍ୟାସ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ନେତାଜୀଙ୍କ ନାମରେ ବସ୍ ଟର୍ମିନାଲ୍ର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ଅନ୍ତର୍ଜାତୀୟ ସ୍ତରରେ ବସ୍ ଟର୍ମିନାଲ୍ ନିର୍ମାଣ କରାଯିବ। କଟକର ନେତାଜୀ ବସ୍ ଟର୍ମିନାଲ୍ ବିଶ୍ବସ୍ତରୀୟ ହେବ। ଟର୍ମିନାଲ୍ରେ ନେତାଜୀଙ୍କ ଜୀବନୀ ଓ ଆଦର୍ଶ ସମ୍ପର୍କରେ ଲୋକଙ୍କୁ ଜଣାଯିବ। ନେତାଜୀଙ୍କ ଆଦର୍ଶର ପ୍ରଚାର ପାଇଁ ଏଠି ବ୍ୟବସ୍ଥା କରାଯିବ। ନେତାଜୀ ବସ୍ ଟର୍ମିନାଲ୍ ଅନ୍ତର୍ଜାତୀୟ ସ୍ତରର ହେବ। ୧୧୦୦୦ ବର୍ଗ ମିଟର ଅଞ୍ଚଳରେ ନିର୍ମାଣ ହେବାକୁ ଯାଉଥିବା ଏହି ବସ ଟର୍ମିନାଲ ରାଜ୍ୟ ଗମନାଗମନ ବ୍ୟବସ୍ଥାରେ ନୂଆ ଅଧ୍ୟାୟ ସୃଷ୍ଟି କରିବ ବୋଲି ପ୍ରକାଶ କରିଥିଲେ।
ଆଜି ଭାରତୀୟ ମୁକ୍ତି ସଂଗ୍ରାମର ମହାନ୍ ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କର ପବିତ୍ର ଜନ୍ମ ଦିବସ । ଆଜିଠାରୁ ସାରା ଦେଶରେ ନେତାଜୀଙ୍କର ୧୨୫ତମ ଜନ୍ମବାର୍ଷିକୀ ପାଳନ ଆରମ୍ଭ ହୋଇଛି। ଏହି ଅବସରରେ ନେତାଜୀଙ୍କୁ ତାଙ୍କର ଜନ୍ମସ୍ଥାନ କଟକରେ ଭକ୍ତିପୁତ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଓଡିଆ ବଜାରସ୍ଥିତ ନେତାଜୀଙ୍କର ଜନ୍ମସ୍ଥାନ ଜାନକୀନାଥ ଭବନକୁ ଯାଇ ରାଜ୍ୟବାସୀଙ୍କ ତରଫରୁ ଶ୍ରଦ୍ଧାସୁମନ ଅର୍ପଣ କରି ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ନେତାଜୀଙ୍କ ୧୨୫ତମ ଜନ୍ମବାର୍ଷିକୀ ପାଳନର ଅଂଶସ୍ବରୂପ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଖାନନଗର ଠାରେ କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାସ କରିଥିଲେ। ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ନେତାଜୀ ଏହି କଟକ ମାଟିର ପୁଅ । ଏହି କଟକରେ ଜନ୍ମ ହୋଇଥିଲେ ଓ ବଡ ମଧ୍ୟ ହୋଇଥିଲେ । ଏହି କଟକ ମାଟି ତାଙ୍କୁ ସେବା ଓ ସଂଗ୍ରାମର ମନ୍ତ୍ରରେ ଦୀକ୍ଷିତ କରିଥିଲା । ତେଣୁ ନେତାଜୀଙ୍କ ୧୨୫ତମ ଜନ୍ମବାର୍ଷିକୀ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ଭାବରେ ବର୍ଷ ବ୍ୟାପୀ କାର୍ଯ୍ୟକ୍ରମ କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେ ଯେତେବେଳେ ବି ନେତାଜୀଙ୍କ ଜନ୍ମସ୍ଥାନକୁ ଯାଇଛନ୍ତି, ସେତେବେଳେ ସେ ଭାବୁକ ହୋଇଯାନ୍ତି। ଦେଶ ପାଇଁ ଓ ଜାତି ପାଇଁ ନେତାଜୀଙ୍କ ଅସୀମ ତ୍ୟାଗକୁ କେହି କେବେ ଭୁଲିପାରିବ ନାହିଁ ବୋଲି ସେ କରିଥିଲେ। ଭାରତର ସ୍ବାଧୀନତା ସଂଗ୍ରାମକୁ ଶକ୍ତିଶାଳୀ କରିବାରେ ତାଙ୍କର ଭୂମିକା ଥିଲା ଅତୁଳନୀୟ । ନେତାଜୀଙ୍କ ଦେଶଭକ୍ତି ଓ ସାହସ ଭାରତ ଇତିହାସରେ ଏକ ଗୌରବମୟ ଗାଥା ହୋଇ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।